24
କାହିଁକି ସର୍ବଶକ୍ତିମାନଙ୍କ ଦ୍ୱାରା ସମୟ ନିରୂପିତ ହୋଇ ନାହିଁ
ଓ ତାହାଙ୍କୁ ଜାଣିବା ଲୋକମାନେ କାହିଁକି ତାହାଙ୍କ ଦିନ ଦେଖନ୍ତି ନାହିଁ?
2 କେହି କେହି ଭୂମିର ସୀମାଚିହ୍ନ ଘୁଞ୍ଚାନ୍ତି,
ସେମାନେ ବଳରେ ମେଷପଲ ହରଣ କରି ଚରାନ୍ତି।
3 ସେମାନେ ପିତୃହୀନର ଗର୍ଦ୍ଦଭ ଅଡ଼ାଇ ନିଅନ୍ତି,
ବିଧବାର ଗୋରୁ ବନ୍ଧକ ରୂପେ ନିଅନ୍ତି।
4 ସେମାନେ ଦୀନହୀନକୁ ବାଟରୁ ତଡ଼ି ଦିଅନ୍ତି;
ଦେଶସ୍ଥ ଦରିଦ୍ରମାନେ ଏକତ୍ର ଲୁଚନ୍ତି।
5 ଦେଖ, ସେମାନେ ପ୍ରାନ୍ତରସ୍ଥ ବନ୍ୟ ଗର୍ଦ୍ଦଭ ତୁଲ୍ୟ
ଆପଣା ଆପଣା କାର୍ଯ୍ୟରେ ବାହାରି ଯତ୍ନପୂର୍ବକ ଆହାର ଅନ୍ଵେଷଣ କରନ୍ତି;
ଅରଣ୍ୟ ସେମାନଙ୍କ ବାଳକଗଣ ନିମନ୍ତେ ଆହାର ଉତ୍ପନ୍ନ କରେ।
6 ସେମାନେ କ୍ଷେତ୍ରରେ ଆପଣାମାନଙ୍କ ଖାଦ୍ୟ କାଟନ୍ତି
ଓ ଦୁଷ୍ଟର ଦ୍ରାକ୍ଷାକ୍ଷେତ୍ରର ଅବଶିଷ୍ଟ ଫଳ ସାଉଣ୍ଟନ୍ତି।
7 ସେମାନେ ସାରାରାତ୍ରି ବସ୍ତ୍ର ବିନା ଉଲଙ୍ଗ ହୋଇ ଶୟନ କରନ୍ତି
ଓ ଶୀତକାଳରେ ସେମାନଙ୍କର ଆଚ୍ଛାଦନ ବସ୍ତ୍ର ନ ଥାଏ।
8 ସେମାନେ ପର୍ବତରେ ବୃଷ୍ଟିରେ ତିନ୍ତନ୍ତି,
ପୁଣି ଆଶ୍ରୟ ଅଭାବରୁ ଶୈଳରେ ଶରଣ ନିଅନ୍ତି।
9 କେହି କେହି ପିତୃହୀନକୁ ମାତୃସ୍ତନରୁ ଛଡ଼ାଇ ନିଅନ୍ତି
ଓ ଦରିଦ୍ରଠାରୁ ବନ୍ଧକ ନିଅନ୍ତି;
10 ଏହେତୁ ସେମାନେ ବସ୍ତ୍ର ବିନା ଉଲଙ୍ଗ ହୋଇ ବୁଲନ୍ତି
ଓ କ୍ଷୁଧିତ ହୋଇ ଶସ୍ୟବିଡ଼ା ବହନ୍ତି;
11 ସେମାନେ ଏହି ଲୋକମାନଙ୍କ ପ୍ରାଚୀର ଭିତରେ ତୈଳ ପ୍ରସ୍ତୁତ କରନ୍ତି
ଓ ସେମାନଙ୍କ ଦ୍ରାକ୍ଷାଯନ୍ତ୍ର ଦଳି ତୃଷିତ ହୁଅନ୍ତି।
12 ଜନପୂର୍ଣ୍ଣ ନଗରରୁ ଲୋକେ କାତରୋକ୍ତି କରନ୍ତି,
ଆହତ ଲୋକର ପ୍ରାଣ ଡାକ ପକାଏ;
ତଥାପି ପରମେଶ୍ୱର ଏହା ଦୋଷ ରୂପେ ଗଣନା କରନ୍ତି ନାହିଁ।
13 ସେମାନଙ୍କର କେହି କେହି ଆଲୁଅର ବିଦ୍ରୋହୀ;
ତହିଁର ମାର୍ଗ ସେମାନେ ଜାଣନ୍ତି ନାହିଁ,
ଅବା ତହିଁର ପଥରେ ରହନ୍ତି ନାହିଁ।
14 ହତ୍ୟାକାରୀ ପ୍ରଭାତ ସମୟରେ ଉଠି
ଦରିଦ୍ର ଓ ଦୀନହୀନକୁ ବଧ କରେ
ଓ ରାତ୍ରିରେ ସେ ଚୋର ପରି ହୁଏ।
15 ପାରଦାରିକର ଚକ୍ଷୁ ମଧ୍ୟ ସନ୍ଧ୍ୟାକାଳର ଅପେକ୍ଷା କରି କହେ,
କେହି ମୋତେ ଦେଖିବ ନାହିଁ
ଓ ସେ ଆପଣା ମୁଖ ଅନ୍ୟ ରୂପ କରେ।
16 ସେମାନେ ଅନ୍ଧକାରରେ ଗୃହ ସିନ୍ଧି କରନ୍ତି;
ସେମାନେ ଦିନ ବେଳେ ଲୁଚି ରହନ୍ତି,
ସେମାନେ ଆଲୁଅ ଜାଣନ୍ତି ନାହିଁ।
17 କାରଣ ସେସମସ୍ତଙ୍କ ପ୍ରତି ପ୍ରଭାତ ମୃତ୍ୟୁଚ୍ଛାୟା ପରି ଅଟେ;
ସେମାନେ ମୃତ୍ୟୁୁଚ୍ଛାୟାର ଭୟାନକତା ଜାଣନ୍ତି।”
18 “ସେ ଜଳ ଉପରେ ଶୀଘ୍ରଗାମୀ;
ଦେଶରେ ସେମାନଙ୍କ ଅଧିକାର ଅଭିଶପ୍ତ ଅଟେ;
ସେ ଦ୍ରାକ୍ଷାକ୍ଷେତ୍ରର ପଥ ଆଡ଼କୁ ଫେରେ ନାହିଁ।
19 ଯେପରି ଅନାବୃଷ୍ଟି ଓ ଗ୍ରୀଷ୍ମ ହିମଜଳକୁ,
ସେପରି ପାତାଳ ପାପୀମାନଙ୍କୁ ନଷ୍ଟ କରେ।
20 ଗର୍ଭ ତାହାକୁ ପାସୋରି ଯିବ;
କୀଟ ସୁସ୍ୱାଦୁ ଭକ୍ଷ୍ୟ ପରି ତାହାକୁ ଖାଇବ,
ସେ ଆଉ ସ୍ମରଣ କରାଯିବ ନାହିଁ;
ପୁଣି, ଅଧର୍ମ ବୃକ୍ଷ ପରି ଭଙ୍ଗାଯିବ।
21 ସେ ନିଃସନ୍ତାନା ବନ୍ଧ୍ୟାକୁ ଗ୍ରାସ କରେ
ଓ ବିଧବାର ମଙ୍ଗଳ କରେ ନାହିଁ।
22 ସେ ଆପଣା ଶକ୍ତିରେ ବିକ୍ରମୀ ଲୋକକୁ ମଧ୍ୟ ଟାଣି ପକାଏ,
ସେ ଉଠିଲେ କାହାରି ଜୀବନର ସ୍ଥିରତା ନ ଥାଏ।
23 ପରମେଶ୍ୱର ସେମାନଙ୍କୁ ନିରାପଦରେ ରହିବାକୁ ଦିଅନ୍ତି
ଓ ସେମାନେ ତହିଁରେ ନିର୍ଭର ରଖନ୍ତି ଓ ତାହାଙ୍କ ଦୃଷ୍ଟି ସେମାନଙ୍କ ମାର୍ଗରେ ଥାଏ।
24 ସେମାନେ ଉନ୍ନତ ହୁଅନ୍ତି; ତଥାପି ଅଳ୍ପ କାଳରେ ଅନ୍ତର୍ହିତ ହୁଅନ୍ତି;
ହଁ, ସେମାନେ ଅବନତ ହୁଅନ୍ତି, ସେମାନେ ଅନ୍ୟ ସମସ୍ତଙ୍କ ପରି ପଥରୁ ଘେନାଯାʼନ୍ତି,
ଆଉ ଶସ୍ୟଶିଁଷାର ଅଗ୍ରଭାଗ ପରି କଟାଯାʼନ୍ତି।
25 ପୁଣି, ବର୍ତ୍ତମାନ ଯଦି ଏପରି ନ ହୁଏ, ତେବେ କିଏ ଆମ୍ଭକୁ ମିଥ୍ୟାବାଦୀ ବୋଲି ପ୍ରମାଣ କରିବ
ଓ ଆମ୍ଭ କଥାକୁ ନିରର୍ଥକ କରିବ?”