ସିଫନୀୟ ଭବିଷ୍ୟଦ୍ବକ୍ତାଙ୍କ ପୁସ୍ତକ
1
ଆମୋନ୍ଙ୍କ ପୁତ୍ର ଯିହୁଦାର ରାଜା ଯୋଶୀୟର ଅଧିକାର ସମୟରେ, ହିଜକୀୟଙ୍କ ବୃଦ୍ଧ ପ୍ରପୌତ୍ର, ଅମରୀୟଙ୍କ ପ୍ରପୌତ୍ର, ଗଦଲୀୟଙ୍କ ପୌତ୍ର, କୂଶୀଙ୍କ ପୁତ୍ର ସଫନୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
ଯିହୁଦା ପ୍ରତି ସଦାପ୍ରଭୁଙ୍କ ବିଚାର
2 ସଦାପ୍ରଭୁ କହନ୍ତି, “ଆମ୍ଭେ ଭୂମିରୁ ସମଗ୍ର ବସ୍ତୁ ନିଃଶେଷ ରୂପେ ସଂହାର କରିବା,”
3 “ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ସଂହାର କରିବା; ଆମ୍ଭେ ଆକାଶର ପକ୍ଷୀଗଣକୁ, ସମୁଦ୍ରର ମତ୍ସ୍ୟଗଣକୁ
ଓ ଦୁଷ୍ଟଗଣ ସହିତ ବିଘ୍ନସକଳ ସଂହାର କରିବା;
ଆଉ, ଆମ୍ଭେ ଭୂମିରୁ ମନୁଷ୍ୟକୁ ଉଚ୍ଛିନ୍ନ କରିବା,” ଏହା ସଦାପ୍ରଭୁ କହନ୍ତି।
4 ପୁଣି, “ଆମ୍ଭେ ଯିହୁଦାର ବିରୁଦ୍ଧରେ ଓ ଯିରୂଶାଲମର ନିବସୀସକଳର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା;
ଆମ୍ଭେ ଏହି ସ୍ଥାନରୁ ବାଲ୍ର ଅବଶିଷ୍ଟାଂଶକୁ ଓ ଯାଜକଗଣ ସହିତ ପୁରୋହିତମାନଙ୍କର ନାମ;
5 ଆଉ, ଯେଉଁମାନେ ଛାତ ଉପରେ ଆକାଶର ବାହିନୀକୁ ପ୍ରଣାମ କରନ୍ତି
ଓ ଯେଉଁମାନେ ସଦାପ୍ରଭୁଙ୍କ ନିକଟରେ ଶପଥ କରନ୍ତି ଓ ମାଲ୍କମ୍a ନାମରେ ଶପଥ କରି ପ୍ରଣାମ କରନ୍ତି;
6 ଆଉ, ଯେଉଁମାନେ ସଦାପ୍ରଭୁଙ୍କ ପଶ୍ଚାତ୍ଗମନରୁ ବିମୁଖ ହୋଇଅଛନ୍ତି; ପୁଣି, ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି, କିଅବା ତାହାଙ୍କର ଅନୁସନ୍ଧାନ କରି ନାହାନ୍ତି, ସେସମସ୍ତଙ୍କୁ ଆମ୍ଭେ ଉଚ୍ଛିନ୍ନ କରିବା।”
ସଦାପ୍ରଭୁଙ୍କର ଦିନ ସନ୍ନିକଟ
7 ତୁମ୍ଭେ ପ୍ରଭୁ ସଦାପ୍ରଭୁଙ୍କ ଛାମୁରେ ନୀରବ ହୁଅ; କାରଣ ସଦାପ୍ରଭୁଙ୍କର ଦିନ ସନ୍ନିକଟ;
କାରଣ ସଦାପ୍ରଭୁ ଏକ ଯଜ୍ଞର ଆୟୋଜନ କରିଅଛନ୍ତି, ସେ ଆପଣା ନିମନ୍ତ୍ରିତଗଣକୁ ପବିତ୍ର କରିଅଛନ୍ତି।
8 ପୁଣି, ସଦାପ୍ରଭୁଙ୍କର ସେହି ଯଜ୍ଞ ଦିନ
“ଆମ୍ଭେ ଅଧିପତିଗଣକୁ ଓ ରାଜପୁତ୍ରଗଣକୁ
ଓ ବିଦେଶୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ସମସ୍ତଙ୍କୁ ଦଣ୍ଡ ଦେବା।
9 ଆଉ, ଯେଉଁମାନେ ଚୌକାଠ ଡେଇଁ କରି ଯାʼନ୍ତି, ଯେଉଁମାନେ ଆପଣାମାନଙ୍କ କର୍ତ୍ତାର ଗୃହb ଦୌରାତ୍ମ୍ୟରେ
ଓ ପ୍ରବଞ୍ଚନାରେ ପରିପୂର୍ଣ୍ଣ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ସେହି ଦିନ ଦଣ୍ଡ ଦେବା।”
10 ପୁଣି, ସଦାପ୍ରଭୁ କହନ୍ତି, “ସେହି ଦିନ
ମତ୍ସ୍ୟଦ୍ୱାରଠାରୁ କ୍ରନ୍ଦନର ଶବ୍ଦ ଓ (ନଗରର) ଦ୍ୱିତୀୟ ବିଭାଗଠାରୁ ହାହାକାର ଶବ୍ଦ
ଓ ଉପପର୍ବତଗଣରୁ ମହାଭଙ୍ଗର ଶବ୍ଦ ଶୁଣାଯିବ।
11 ହେ ମକ୍ତେଶc ନିବାସୀଗଣ, ତୁମ୍ଭେମାନେ ହାହାକାର କର,
କାରଣ କିଣାନର ଲୋକ ସମସ୍ତେ ବିନଷ୍ଟ ହୋଇଅଛନ୍ତି ଓ ରୌପ୍ୟ ବାହକ ସମସ୍ତେ ଉଚ୍ଛିନ୍ନ ହୋଇଅଛନ୍ତି।
12 ପୁଣି, ସେହି ସମୟରେ ଆମ୍ଭେ ପ୍ରଦୀପ ଜ୍ୱଳାଇ ଯିରୂଶାଲମର ଅନ୍ଵେଷଣ କରିବା;
ଆଉ, ଯେଉଁମାନେ ଆପଣା ଆପଣା ମଳ ଉପରେ ସୁସ୍ଥିର ହୋଇ ବସିଅଛନ୍ତି ଓ ମନେ ମନେ କହନ୍ତି,
ସଦାପ୍ରଭୁ ମଙ୍ଗଳ କରିବେ ନାହିଁ କିଅବା ଅମଙ୍ଗଳ କରିବେ ନାହିଁ, ସେମାନଙ୍କୁ ଆମ୍ଭେ ଦଣ୍ଡ ଦେବା।
13 ପୁଣି, ସେମାନଙ୍କର ସମ୍ପତ୍ତି ଲୁଟିତ ହେବ ଓ ସେମାନଙ୍କର ଗୃହ ଧ୍ୱଂସସ୍ଥାନ ହେବ;
ଆହୁରି ସେମାନେ ଗୃହ ନିର୍ମାଣ କରିବେ, ମାତ୍ର ତହିଁରେ ବାସ କରିବେ ନାହିଁ; ଆଉ, ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ମାତ୍ର ତହିଁରୁ ଦ୍ରାକ୍ଷାରସ ପାନ କରିବେ ନାହିଁ।”
14 ସଦାପ୍ରଭୁଙ୍କର ମହାଦିନd ନିକଟବର୍ତ୍ତୀ, ତାହା ଅର୍ଥାତ୍,
ସଦାପ୍ରଭୁଙ୍କର ଦିନର ଶବ୍ଦ ନିକଟବର୍ତ୍ତୀ ଓ ଅତି ଶୀଘ୍ର ଆସୁଅଛି; ବୀରପୁରୁଷ ସେହି ସ୍ଥାନରେ ଅତିଶୟ ରୋଦନ କରୁଅଛି।
15 ସେହି ଦିନ କ୍ରୋଧର ଦିନ, ସଙ୍କଟ ଓ କ୍ଳେଶର ଦିନ,
ଉଜାଡ଼ ଓ ସର୍ବନାଶର ଦିନ, ଅନ୍ଧକାର ଓ ଘୋର ତିମିରର ଦିନ,
ମେଘ ଓ ନିବିଡ଼ ଅନ୍ଧକାରର ଦିନ,
16 ତୂରୀଧ୍ୱନି ଓ ଭୟାନକ ନାଦର ଦିନ, ତାହା ପ୍ରାଚୀର-ବେଷ୍ଟିତ ନଗର
ଓ ଉଚ୍ଚ ଚୂଡ଼ାସକଳର ବିପକ୍ଷରେ ଉପସ୍ଥିତ ହେବ।
17 ପୁଣି, ଆମ୍ଭେ ମନୁଷ୍ୟମାନଙ୍କ ଉପରେ ଦୁଃଖ ଘଟାଇବା, ତହିଁରେ ସେମାନେ ଅନ୍ଧ ଲୋକ ପରି ବୁଲିବେ,
କାରଣ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି;
ଆଉ, ସେମାନଙ୍କର ରକ୍ତ ଧୂଳି ପରି ଓ ସେମାନଙ୍କର ମାଂସ ମଳ ପରି ଢଳାଯିବ।
18 ପୁଣି, ସଦାପ୍ରଭୁଙ୍କ କ୍ରୋଧର ଦିନରେ ସେମାନଙ୍କର ରୂପା କିଅବା ସେମାନଙ୍କର ସୁନା ସେମାନଙ୍କୁ ଉଦ୍ଧାର କରି ପାରିବ ନାହିଁ;
ମାତ୍ର ତାହାଙ୍କର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ଦେଶ ଗ୍ରାସିତ ହେବ;
କାରଣ ସେ ଦେଶ ନିବାସୀ ସମସ୍ତଙ୍କୁ ନିଃଶେଷ କରିବେ, ହଁ, ଭୟାନକ ରୂପେ ନିଃଶେଷ କରିବେ।